ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ- ରାୟଗଡ଼ା ଏବଂ ଝାରସୁଗୁଡ଼ାର ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

        ଏଥିପାଇଁ ରାୟଗଡ ଜିଲ୍ଲାର  ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରାୟଗଡ, ଗୁଣୁପୁର ଓ ବିଷମକଟକ ।  ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି  ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଝାରସୁଗୁଡା ଓ ବ୍ରଜରାଜ ନଗର।  ଏଥିରେ ୫ଟି ବ୍ଲକ୍‌ର ୭୮ଟି   ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।

            ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। କାର୍ଯ୍ୟକ୍ରମ ପାଇଁ ରାୟଗଡ ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।  5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।

ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ରାୟଗଡ ଜିଲ୍ଲାର ରାୟଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ସେହିପରି ଝାରସୁଗୁଡା ଜିଲ୍ଲାର ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି।

Leave a Reply

Your email address will not be published. Required fields are marked *