ଆମ ଓଡ଼ିଶା ନବୀନ ଓଡ଼ିଶାରେ ଯୋଡ଼ି ହେଲା ବାଲେଶ୍ୱର ଓ ବଲାଙ୍ଗୀର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

  ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି ।  ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା।  ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ।

       ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।

Leave a Reply

Your email address will not be published. Required fields are marked *