ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା

 ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

        ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର  ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୟଦେବ,   ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା ।  ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି   ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର।  ଏଥିରେ ୮ଟି ବ୍ଲକ୍‌ର ୧୯୮ଟି   ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ   ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ସରକାରୀ ହସ୍‌ପିଟାଲ ଯେପରି ବେସରକାରୀ ହସ୍‌ପିଟାଲ ଭଳି ଆଧୁନିକ ଚିକିତ୍ସା ଯୋଗାଇ ଦେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଆମ ହସ୍‌ପିଟାଲ ଯୋଜନା ଆରମ୍ଭ କରିଛନ୍ତି। ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଚାଲିଛି । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

Leave a Reply

Your email address will not be published. Required fields are marked *