ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ବାର୍ତ୍ତା ରହିଛି ‘ଭାଷା ହିଁ ଭବିଷ୍ୟତ’।ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ । ଭାରତ ବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଇଛି ।