୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ଆଜି ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ବଲାଙ୍ଗୀର ଜିଲ୍ଲାର ୧୦୦ଟି ହାଇସ୍କୁଲ, ସମ୍ବଲପୁର ଜିଲ୍ଲାର ୬୧ଟି, ପୁରୀ ଜିଲ୍ଲାର ୫୩ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫୬ଟି ହାଇସ୍କୁଲ ଏବଂ କୋରାପୁଟ ଜିଲ୍ଲାର ୫୮ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଦୁଇ ଦିନରେ ସମୁଦାୟ ୬୮୫ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।
ଏହି ଅବସରରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ବର୍ତ୍ତମାନ ଯୁଗ ହେଉଛି ଟେକ୍ନୋଲୋଜିର ଯୁଗ । ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଦ୍ବିତୀୟ ବିଷୟଟି ହେଉଛି ଟିମ୍ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।