ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଡିହେଲା କନ୍ଧମାଳ, ଅନୁଗୋଳ ଏବଂ ଗଜପତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୮୫.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବାଲିଗୁଡା, ଜି. ଉଦୟଗିରି ଓ ଫୁଲବାଣୀ। ଏହିସବୁ ନିର୍ବାଚନ ମଣ୍ଡଳୀର ୧୨ଟି ବ୍ଲକ୍ର ୧୭୧ ଟି ଗ୍ରାମ ପଞ୍ଚାୟତରେ ୨୦୯୯ଟି ପ୍ରକଳ୍ପ ହେବ। ସେହିପରି ଅନୁଗୋଳ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୨.୫୦ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ତାଳଚେର, ପାଲଲହଡା, ଛେଣ୍ଡିପଦା, ଆଠମଲ୍ଲିକ ଓ ଅନୁଗୋଳ। ଏଥିରେ ୮ଟି ବ୍ଲକ୍ର ୨୨୫ଟି ଗ୍ରାମପଞ୍ଚାୟତରେ ୨୭୯୬ଟି ପ୍ରକଳ୍ପ କରାଯିବ। ସେହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୭୪.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମୋହନା ଓ ପାରଳାଖେମୁଣ୍ଡି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍ର ୧୪୯ଟି ଗ୍ରାମ ପଞ୍ଚାୟତରେ ୧୬୬୨ଟି ପ୍ରକଳ୍ପ ହେବ। ଆଜିର କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଜିଲ୍ଲାର ୩ଟି, ଅନୁଗୋଳ ଜିଲ୍ଲାର ୫ଟି ଓ ଗଜପତି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ସଂସ୍କୃତି ସହିତ ଆଧୁନିକତାର ସମନ୍ଵୟ ହିଁ ବିକାଶର ଆଦର୍ଶ ମାର୍ଗ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା। 5-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।